ଆଜି ରୁକ୍ମିଣୀ ହରଣ ଏକାଦଶୀ l ଗତକାଲି ରାଜେନ୍ଦ୍ରାଭିଷେକ ପରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିବାହ ଉତ୍ସବ l ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍କିଣୀଙ୍କୁ ବିବାହ କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ।ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ ହୋଇଛି ।
ସୂଚନା ଅନୁସାରେ, ସକାଳ ଧୂପ ପୂଜା ବଢିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବାପରେ ମହାଜନ ସେବକ ରୁକ୍ମିଣୀଙ୍କୁ ସାତ ପାହାଚରେ ଥିବା ପାଲିଙ୍କିରେ ବିଜେ କରାଇବେ | ପରେ ବିମାନବଡୁ ସେବକ ପାଲିଙ୍କିକୁ ମହାଲକ୍ଷ୍ମୀ ମନ୍ଦିରକୁ ବିଜେ କରାଇ ଅନ୍ୟାନ୍ୟ ନୀତି ବଢିବା ପରେ ବେଶ ସମ୍ପର୍ଣ ହୋଇଥାଏ l ପୁନର୍ବାର ଅନ୍ୟାନ୍ୟ ନୀତି ବଢି ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ହୋଇ ନୂଆ ଲୁଗା ଲାଗି କରାଯାଏ l ସନ୍ଧ୍ୟା ଧୂପ ନୀତି ବଢ଼ିସାରିବା ପରେ ମହାପ୍ରଭୁଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହେବ l ସେପଟେ ଅପରାହ୍ମ ୧ଟାରୁ ୫ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦର୍ଶନ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ । ବିବାହ ଉତ୍ସବକୁ ଧୁମଧାମରେ ପାଳନ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପୁରା ପ୍ରସ୍ତୁତ ରହିଥିବା ସୂଚନା ମିଳିଛି ।