ନୂଆଦିଲ୍ଲୀ: ଓଡ଼ିଶା ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଶାର ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ବୋଲି ସେ କହିଛନ୍ତି। ସାମଜିକ ଗଣମାଧ୍ୟମ ‘ଏକ୍ସ’ରେ ସେ କହିଛନ୍ତି, ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ। ଦେଶର ସ୍ୱାଧୀନତା ସଂଗ୍ରାମ ଏବଂ ରାଷ୍ଟ୍ରଗଠନରେ ଓଡ଼ିଶାର ଅମୂଲ୍ୟ ଯୋଗଦାନ ଆମ ସମସ୍ତଙ୍କୁ ସବୁବେଳେ ପ୍ରେରଣା ଦେଇଆସିଛି। ବିକଶିତ ଭାରତ ନିର୍ମାଣରେ କୁଶଳ ଏବଂ କର୍ମଠ ଓଡ଼ିଶାବାସୀଙ୍କ ଭୂମିକା ବେଶ୍ ଉଲ୍ଲେଖନୀୟ। ଆଜିର ଏହି ଶୁଭ ଅବସରରେ ଓଡ଼ିଶାବାସୀଙ୍କ ସୁଖ-ସମୃଦ୍ଧି ଓ ମଙ୍ଗଳ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଶା ସମେତ ବିଶ୍ୱର ବିଭିନ୍ନ ଅଞ୍ଚଳରେ ରହୁଥିବା ଓଡ଼ିଆ ଭାଇ ଭଉଣୀମାନଙ୍କୁ ‘ଓଡ଼ିଶା ଦିବସ’ର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ପୋଷ୍ଟରେ ସେ କହିଛନ୍ତି, ୧୯୩୬ ମସିହା ଆଜିର ଦିନରେ ଭାଷା ଭିତ୍ତିରେ ଆମ ରାଜ୍ୟ ଓଡ଼ିଶା ପ୍ରଥମ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପ୍ରାପ୍ତ ହେବାର ଗୌରବ ଲାଭ କରିଥିଲା। ଆଜିର ପବିତ୍ର ଦିନରେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ସେହି ବରେଣ୍ୟ ସନ୍ତାନମାନଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଆସନ୍ତୁ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଆମେ ଆମର ଗୌରବମୟ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ଆହୁରି ସମୃଦ୍ଧ କରିବା ପାଇଁ ସଂକଳ୍ପବଦ୍ଧ ହେବା।
ଅଧିକ ପଢ଼ନ୍ତୁ: ସୁରକ୍ଷା ବାହିନୀର ଗୁଳିରେ ଜଣେ ଆତଙ୍କବାଦୀ ନିପାତ