ଭୁବନେଶ୍ୱର: ଛତିଶଗଡର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଅସୁସ୍ଥତା ଖବର ପାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ପିଟାଲ୍ ଯାଇ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।