ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠନ ହୋଇଥିବା ଉଚ୍ଚ ସ୍ତରୀୟ କମିଟିର ପ୍ରଥମ ବୈଠକ ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ । କମିଟି ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ବସିବ । ଏଥିରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।
ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ୮ ଜଣିଆ ଉଚ୍ଚ ସ୍ତରୀୟ କମିଟି ଗଠନ କରିଛନ୍ତି । ଯେଉଁଥିରେ ବିଜେପି, ବିଜେଡ଼ି ଏବଂ କଂଗ୍ରେସ ବିଧାୟକ ଏବଂ ବିଧାୟିକାମାନେ ସଦସ୍ୟ ରହିଛନ୍ତି । କମିଟିରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ, ବିଧାୟକ ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ ସଦସ୍ୟ ଅଛନ୍ତି । ନ୍ୟାୟିକ ପ୍ରକ୍ରିୟା ବଦଳରେ ଉଭୟ ଛତିଶଗଡ଼ ଓ ଓଡ଼ିଶା ମଧ୍ୟରେ ଆପୋସ ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ହେବ ବୋଲି ରାଜ୍ୟ ସରକାର ଆଶା ରଖିଛନ୍ତି ।