ଭୁୁବନେଶ୍ୱର: ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହାର ଆୟୋଜନ ହେବ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ ପ୍ରମୁଖ ଯୋଗ ଦେବେ । ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ । ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର । ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ । ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରି ସାରିଲେଣି ।
ଏହି ଅବସରରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ ।
ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି। ସେହିପରି ବିଦେଶରୁ ଆସୁଥିବା ଅତିଥିମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି। ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି। ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ।