ଭୁବନେଶ୍ୱର: ସାଧାରଣ ଜନତାଙ୍କ ପାଇଁ ଖୋଲିଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ସଫଳତାର ସହିତ ବିଭିନ୍ନ ଆବେଦନକାରୀଙ୍କ ଅଭିଯୋଗର ଶୁଣାଣି କରି ଚାଲିଛି । ଏକାଦଶ ପାଳି ସୁଦ୍ଧା ୯୩ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ସେହିପରି ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଆଜି ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିବାବେଳେ ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି ।
ସୋମବାର ଦ୍ୱାଦଶ ପାଳିରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍କାଳ ପଦକ୍ଷେପ ନେଇଛନ୍ତି । ପଞ୍ଜିକୃତ ହୋଇଥିବା ୧ ହଜାର ଅଭିଯୋଗକାରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୭ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କରିଛନ୍ତି ।
ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ଭିନ୍ନକ୍ଷମ ଲୋକମାନଙ୍କ ପାଖକୁ ଯାଇଥିଲେ ଏବଂ ସେଠାରେ ଜଣ ଜଣ କରି ସମସ୍ତଙ୍କ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ପରେ ପ୍ରକୋଷ୍ଠ ଭିତରକୁ ଆସି ପଞ୍ଜିକୃତ କରିଥିବା ଅନ୍ୟ ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି । ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି ।
ସେହିପରି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୮୯୪ଟି ଅଭିଯୋଗ ମଧ୍ୟରୁ ୧୦,୧୩୨ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୩ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକର ସମାଧାନ କାର୍ଯ୍ୟ ଜାରି ରହିଛି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୁଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଓ ଅନ୍ୟ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।