ଭୁବନେଶ୍ୱର : ଆସନ୍ତା ନଭେମ୍ବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୧୧ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ, ଯାହାର ପ୍ରଭାବରେ ୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୪ ତାରିଖ ବେଳକୁ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ଏବଂ ୧୫ ତାରିଖରେ ଅବପାତର ରୂପ ନେଇପାରେ ।
ଏହାର ପ୍ରତ୍ୟକ୍ଷ ବିଶେଷ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଆକଳନ କରାଯାଇଛି, କିନ୍ତୁ ରାଜ୍ୟର କିଛି ଉପକୂଳ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି ।
ଅନ୍ୟପଟେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ନୟାଗଡ଼ ଓ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି । ତାପମାତ୍ରାରେ ମଧ୍ୟ ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଗାମୀ ୭ ଦିନ ରାତି ତାପମାତ୍ରା ପ୍ରାୟ ସ୍ଥିର ରହିବ ।