ଭୁବନେଶ୍ୱର : ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖରୁ ରାଜ୍ଯର ବିଭିନ୍ନ ଅଞ୍ଚଳରେ ପୁଣି ଭାରି ବର୍ଷା ହୋଇପାରେ।
ଅନ୍ୟପଟେ ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଅବପାତ ଏବେ ଛତିଶଗଡ଼ ମୁହାଁ ହୋଇଛି। ଏହା ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ୧୬ ତାରିଖରେ ସାରା ଓଡ଼ିଶାର ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଅର୍ଥାତ୍ ବର୍ଷା କମିପାରେ। ତଥାପି ୧୭ ତାରିଖ ପର୍ୟ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।