ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ । ଶୁକ୍ରବାର ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ, ଆଜି ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ତତ-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳ ଉପରେ ବାୟୁମଣ୍ଡଳର 5.8 କିମି ଯାଏଁ ବ୍ୟାପିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବନୁମାନ କରିଛି ।
ଆସନ୍ତା ୨୨ ଅଗଷ୍ଟରୁ ୨୯ ଅଗଷ୍ଟ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଲଘୁଚାପ ପ୍ରଭାବରେ ପଶ୍ଚିମ, ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଗକୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ତଳିଆ ଏବଂ ବନ୍ୟାପ୍ରବଣ ଅଞ୍ଚଳର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ଆଜି ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ୩୦-୪୦କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ରାୟଗଡ଼ା ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା , ନୟାଗଡ଼, ଗଞ୍ଜାମ, ବାଲେଶ୍ବର, ଭଦ୍ରକ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ରବିବାର ମଧ୍ୟ ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ସତର୍କ ସୂଚନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡ଼ା, କୋରାପୁଟ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।