ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଜି ପବିତ୍ର ବନକଲାଗି ନୀତି ଯୋଗୁଁ ଶ୍ରଦ୍ଧାଳୁଙ୍କ ପାଇଁ ସାଧାରଣ ଦର୍ଶନ ଚାରି ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ବୁଧବାର ଚୈତ୍ର:କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଭକ୍ତଙ୍କ ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପ୍ରାକୃତିକ ରଙ୍ଗ ଯଥା କସ୍ତୁରୀ,ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କଳା, ଧଳା, ନାଲି ଆଦି ରଙ୍ଗରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।