ଭୁବନେଶ୍ଵର: ସମ୍ବଲପୁର ପରେ ଏବେ କଳାହାଣ୍ଡିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ଶୁଣିବେ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ସରକାର, ମନ୍ତ୍ରୀ ଓ ବିଭିନ୍ନ ଅଧିକାରୀମାନଙ୍କୁ ବିଭିନ୍ନ ଜିଲ୍ଲା ସ୍ତରରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ ଏବଂ ସେ ଜିଲ୍ଲାର ଆଖପାଖ ଲୋକ ଯାହାର ଯାହା ଅଭିଯୋଗ ରହିଛି ସେମାନେ ସହଜରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଂଚି ପାରିବେ । ତାଙ୍କ ସମସ୍ୟା ସମାଧାନ କରିବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ।
ଆଜି ମୁଖ୍ୟମନ୍ତ୍ରୀ ଦ୍ୱାଦଶ ପାଳିରେ ଅଭିଯୋଗ ଶୁଣିଛନ୍ତି । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି । ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି ।
ଏଠାରେ ଉଲ୍ଲେଖ ଯୋଗ୍ୟ, ଗତ ଏପ୍ରିଲ ମାସରେ ଦଶମ ପାଳିରେ ମୁଖ୍ୟମନ୍ତ୍ରୀ ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟରେ ଶୁଣାଣି କରିଥିଲେ । ଅନଲାଇନ ଜରିଆରେ ପଞ୍ଜିକରଣ କରିଥିବା ୧୦୦୦ ଜଣ ଓ ଅଫଲାଇନରେ ପ୍ରାୟ ୪୦୦ ଲୋକଙ୍କ ଅଭିଯୋଗର ଶୁଣାଣି ହୋଇଥିଲା ।