ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ଓ ଥଣ୍ଡା ବାୟୁ ପ୍ରବାହ ଯୋଗୁଁ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବା ସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତଳକୁ ଖସିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ଅନେକ ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସି ଆସିଛି। ୭.୧°ସେଲସିୟସ ସହ ସେମିଳିଗୁଡ଼ା ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଛି। ସେହିପରି ଜି. ଉଦୟଗିରି: ୭.୬° ସେଲସିୟସ,ଦାରିଙ୍ଗବାଡ଼ି: ୧୦.୦° ସେଲସିୟସ, ଝାରସୁଗୁଡ଼ା: ୧୦.୮° ସେଲସିୟସ, ଫୁଲବାଣୀ: ୧୧.୦°ସେଲସିୟସ, ଭବାନୀପାଟଣା: ୧୨.୦° ସେଲସିୟସ ଓ ଭୁବନେଶ୍ୱର: ୧୫.୦° ସେଲସିୟସ ତାପମାତ୍ରା ରେକର୍ଡ ହୋଇଛି ।
ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ସୋନପୁର ଜିଲ୍ଲାର କିଛି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ।
ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି କିଛି ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି।