ଭୁବନେଶ୍ୱରର : ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଆଜି ଅପରାହ୍ନ ସମୟରେ ଅବପାତର ରୂପ ନେବା ପରେ ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇବ ସହ ଏହା ଅଧିକ ଘନୀଭୂତ ହେବ । ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ଆସନ୍ତା ୨୬ ଯାଏଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି ।
ଆଜି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମାଲକାନଗିରି,କୋରାପୁଟ,ରାୟଗଡ଼ା,ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।ଆସନ୍ତାକାଲି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର । ଏସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।ଆସନ୍ତା ୨୪ ଅକ୍ଟୋବରରେ ପାଣିପାଗ ବିଭାଗ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ଯ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।