ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଆଜି ସନ୍ଧ୍ୟାରେ ବାତ୍ୟା 'ଅକ୍ୱାନ୍'ର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହି ବାତ୍ୟା ବର୍ତ୍ତମାନ ଗୋପାଳପୁରଠାରୁ ପ୍ରାୟ ୭୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି।
ବାତ୍ୟା 'ଅକ୍ୱାନ୍' ଘଣ୍ଟାପ୍ରତି ପ୍ରାୟ ୧୦ କିଲୋମିଟର ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତାକାଲି ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଭୀଷଣ ବାତ୍ୟା ଏବଂ ନଭେମ୍ବର ୧୯ ସୁଦ୍ଧା ଅତି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଏହା ନଭେମ୍ବର ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶ ଉପକୂଳ ନେଲୋର ଓ ଟୁନି ମଧ୍ୟ ଦେଇ ସ୍ଥଳଭାଗ ଅତିକ୍ରମ କରିପାରେ। ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ ରୁ ୧୩୦ କିଲୋମିଟର ଏବଂ ଝଟକା ପବନ ୧୪୫ କିଲୋମିଟର ପର୍ଯ୍ୟନ୍ତ ରହିପାରେ।
ଏହି ବାତ୍ୟା ପ୍ରଭାବରେ ନଭେମ୍ବର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିମି ବେଗରେ ପବନ ବହିପାରେ। ନଭେମ୍ବର ୧୯ ରୁ ୨୦ ସକାଳ ପର୍ଯ୍ୟନ୍ତ ପବନର ବେଗ ବୃଦ୍ଧି ପାଇ ଘଣ୍ଟାପ୍ରତି ୫୦-୬୦ କିମି ପର୍ଯ୍ୟନ୍ତ ଯାଇପାରେ। ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ନଭେମ୍ବର ୧୭ରୁ ୨୦ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି।