ଭୁବନେଶ୍ୱର : ସକାଳୁ ସକାଳୁ ଆକାଶରେ ପୂରା ଘନ କୁହୁଡି । ନିସ୍ତାର ମିଳୁନାହିଁ । ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେଉଛି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।
ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି।