ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଏହାରି ଭିତରେ ଆଜି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ କୁହୁଡି ପରିଲିକ୍ଷିତ ହୋଇଥିବା ବେଳେ କୋହଲା ପାଗ ରହିଛି। କିଛି କିଛି ସ୍ଥାନରେ ଶୀତର ଆଗମନ ହେଉଥିବା ନେଇ ଚର୍ଚ୍ଚା ହେଉଛି। ତେବେ ଆଜି ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଏପରିକି ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଏ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ତେବେ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହାସହିତ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ଆକଳନ ମଧ୍ୟ କରାଯାଉଛି। ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତା ୩ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।