ପୁରୀ: ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଅର୍ଥାତ ଆଜିଠାରୁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ଦୀପାବଳୀ ନୀତି। ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରିବେ। ଆଜି ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ, ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରାଯିବ।
ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷ ଦୀପାବଳି ଉତ୍ସବ ଶ୍ରୀମନ୍ଦିରରେ ପାଳନ କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳି କୁହାଯାଏ । ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ଶ୍ରାଦ୍ଧବେଶରେ ନାଗପୁରୀ ଶାଢ଼ି ଚାଦରରେ ଭୂଷିତ କରାଇଥାନ୍ତି। ଏହି ସମୟରେ ଶ୍ରୀବିଗ୍ରହମାନଙ୍କୁ ସାଧାବେଶରେ ସଜ୍ଜିତ କରାଯାଏ।
କିନ୍ତୁ ପ୍ରତ୍ୟେକ ଠାକୁରଙ୍କ ଧଡ଼ି ଗୁଡିକ ଭିନ୍ନ ରଙ୍ଗର ହୋଇଥାଏ । ଶ୍ରୀଜଗନ୍ନାଥଙ୍କ ସୂତାଶାଢ଼ି (ନାଗପୁରୀ ଶାଢ଼ି) ଲମ୍ବା ୧୬ ହାତ କିମ୍ବା ୧୮ ହାତ, ଧଡ଼ି ଓସାର ଏକ ଫୁଟ ଅଟେ । ଉକ୍ତ ବସ୍ତ୍ରରେ କୁମ୍ଭ ଥାଇ ଧଡ଼ିର ବର୍ଣ୍ଣ ହେଉଛି ନାଲି । ଶ୍ରୀବଳଭଦ୍ରଙ୍କ ବସ୍ତ୍ରର ଲମ୍ବା ୧୪ ହାତ , ଓସାର ୪ ହାତ ,ଧଡ଼ି ଓସାର ୧ ଫୁଟ ,ଉକ୍ତ ବସ୍ତ୍ରର ଧଡ଼ି ବର୍ଣ୍ଣ ହେଉଛି କଳା । ଶ୍ରୀସୁଭଦ୍ରାଙ୍କ ଶାଢ଼ିର ଲମ୍ବା ୧୨ ହାତ , ଓସାର ସାଢେ ୩ ଫୁଟ,ଧଡ଼ି ଓସାର ଏକ ଫୁଟ, ଉକ୍ତ ବସ୍ତ୍ର ଧଡ଼ି ବର୍ଣ୍ଣ ହେଉଛି ହଳଦିଆ।