ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରକୋପ ବଢ଼ିବ । ଆସନ୍ତା ୫ ରୁ ୬ ଦିନ ଧରି ରାଜ୍ଯର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିବ ।
ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ ଅନୁସାରେ ବୁଧବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସେହିପରି ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାପରେ ମଧ୍ୟ ୧୭ ଅଗଷ୍ଟ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଂଚଳରେ ୧୫ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ମଝିରେ ମଝିରେ ପନବର ବେଗ ୬୦ କିଲୋମିଟର ଛୁଇଁବା ସହ ଝଡ଼ପବନର ଆଶଙ୍କା ରହିଛି । ଏଥିପାଇଁ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।