ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି, ଘଡ଼ିଘଡ଼ି ଓ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୦ ତାରିଖରୁ ବର୍ଷାର ପରିମାଣ ବଢିବା ସହିତ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟାରେ ବିଜୁଳି, ଘଡ଼ିଘଡ଼ି ପାଇଁ ଅଧିକାଂଶ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତା ୧୦ ତାରିଖ ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୧ ଓ ୧୨ ତାରିଖରେ ମାଲକାନଗିରି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷା ପାଇଁ ସମସ୍ତଙ୍କୁ ସତର୍କ ସୂଚନା ଦିଆଯାଇଛି ।