ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛି କିଛି ସ୍ଥାନରେ ବ୍ରଜପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସତର୍କ କରାଇଛି । ତେବେ ଆଜି ପାଇଁ ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼ ଓ ସମ୍ବଲପୁର । ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ୟପଟେ ଝାରସୁଗୁଡ଼ା, ଦେବଗଡ଼, ଢେଙ୍କାନାଳ, ଅନୁଗୁଳ, ବରଗଡ଼, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେଣୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ସୂଚନା ଅନୁସାରେ ଦେଶର ଉଭୟ ପଶ୍ଚିମ ଏବଂ ପୂର୍ବ ଭାଗରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ ଭାଗରେ ଲଘୁଚାପଟି ଦକ୍ଷିଣ ଗୁଜରାଟ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଏବଂ ପୂର୍ବ ଭାଗରେ ଦକ୍ଷିଣ-ପଶ୍ଚିମ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟି ହୋଇଛି। ଏହି ଦୁଇଟି ଲଘୁଚାପ ପ୍ରଭାବରେ ଓଡିଶା ସମେତ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆସାମ ଏବଂ ମେଘାଳୟ ପାଇଁ ରେଡ୍ ଆଲର୍ଟ ଜାରି କରିଛି । ଦୁଇଟି ନିମ୍ନ ଚାପ ପ୍ରଣାଳୀ ଯୋଗୁଁ ଏହି ରାଜ୍ୟଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଇଏମଡି । ଆସନ୍ତା ତିନିଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।