ଭୁବନେଶ୍ୱର: ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏହା ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ ଓ ଆସନ୍ତା ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ଓ ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି।
ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା । ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି । ଏନେଇ ରାଜ୍ୟବାସୀଙ୍କୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି ।