ଭୁବନେଶ୍ବର: ଘନୀଭୂତ ହୋଇ ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର। ଗତକାଲି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସନ୍ଧ୍ୟାରେ ସୃଷ୍ଟି ହୋଇଥିବା ସକ୍ରିୟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଆଜି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ।
ଆଜି ପାଗ ସକାଳୁ ଖରା ଥିବା ବେଳେ ମଧ୍ଯାହ୍ନରେ ପାଗରେ ପରିବର୍ତ୍ତନ ହୋଇଛି। ରାଜ୍ୟର ଅନେକ ଅଞ୍ଚଳରେ ସାମାନ୍ଯ ବର୍ଷା ପରିଲକ୍ଷିତ ହୋଇଛି।
ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଲଘୁଚାପ ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବ। ସମ୍ଭାବ୍ୟ ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୩ତାରିଖ ସକାଳ ବେଳକୁ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ତାରିଖ ପର୍ଯ୍ୟନ୍ତ ତୁହାକୁ ତୁହା ବର୍ଷା ଲାଗି ରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।