ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ନୂଆ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ ର ସୂଚନା ଅନୁଯାୟୀ, ଗତକାଲିର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଅବପାତ ରୂପ ନେବାର ସମ୍ଭାବନା ରହିଛି।
ଓଡ଼ିଶା ଉପକୂଳ ଛୁଇଁଥିବା ସାମୁଦ୍ରିକ ବାତ୍ୟା 'ଅର୍ଣ୍ଣବ ଏବେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହି ନୂଆ ଲଘୁଚାପର ଗତିପଥ ଓ ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ କେତେ ରହିବ, ସେ ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ ।