ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ ଦିନ ଅର୍ଥାତ୍ ନୀଳାଦ୍ରି ବିଜେ। ବର୍ଷ ସାରା ରତ୍ନ-ସିଂହାସନରେ ବସି ଭକ୍ତ ଦୁଃଖ ଶୁଣୁଥିବା ବେଳେ ମାତ୍ର ନଅ ଦିନ ପାଇଁ କ୍ଷେତ୍ର-ପରିଦର୍ଶନରେ ଆସିଥାନ୍ତି କାଳିଆ ସାଆନ୍ତ। ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି। ଶାସ୍ତ୍ରରେ ଉଲ୍ଲେଖ ରହିଛି ଦ୍ଵାଦଶୀ ଦିନ ମହାପ୍ରଭୁ ନୀଳାଦ୍ରି ବିଜେ କରନ୍ତି, କିନ୍ତୁ ପ୍ରକୃତ ପକ୍ଷେ ଏକାଦଶୀ ଦିନ ସୁନାବେଶ, ଦ୍ଵାଦଶୀରେ ଅଧରପଣା ଓ ତ୍ରୟୋଦଶୀ ତିଥିରେ ନୀଳାଦ୍ରି ବିଜେ ହୋଇଥାଏ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ। ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ବଢ଼ିଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ପାଳିତ ହୋଇଥାଏ।
ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ବଢ଼ାଇଥାନ୍ତି। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରହିଥାଏ ଓ କିଛି କ୍ଷଣ ପରେ ଦ୍ୱାର ଖୋଲିଯାଏ। ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକଟରେ ବିଜେ କରିବା ସମୟରେ ଉକ୍ତ ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଜନୈକ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ପରେ ଜୟ ବିଜୟ ଦ୍ୱାର ଫିଟିଥାଏ।
ମହାପ୍ରଭୁ ପହଣ୍ଡି ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘରଠାରେ ପହଞ୍ଚିବା ପରେ ଗଇଁଠାଳ ଫିଟେ ଓ ବନ୍ଦାପନା, ରସଗୋଲା ଭୋଗ ଇତ୍ୟାଦି ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ସମାହିତ ହୋଇଥାଏ। ଏହା ପରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥାନ୍ତି। ଏଇଠି ସରେ ମହାପ୍ରଭୁଙ୍କ ଘୋଷଯାତ୍ରାର ମାନବୀୟ ଲୀଳା। ତେବେ ବର୍ଷକୁ ଗୋଟିଏ ଦିନ ନୀଳାଦ୍ରି ବିଜେ ସମୟରେ ମହାପ୍ରଭୁଙ୍କୁ ରସଗୋଲା ଭୋଗ କରାଯାଏ।