ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ବର୍ଷାର ବିସ୍ତୃତ ସ୍ପେଲ୍। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳାଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବ୍ୟାପକ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷାର ପରିମାଣ ଅଧିକ ରହିବ।
ଶନିବାରଠାରୁ ବିଶେଷ କରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଏହା ସହିତ କଟକ, ଯାଜପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଆଦି ଜିଲ୍ଲାରେ ମଧ୍ୟ ସାଧାରଣରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ଭାରୀ ବର୍ଷା ହୋଇପାରେ।
ବର୍ଷା ସାଙ୍ଗକୁ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇବ। ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଏହା ଝଟକା ଦେଇ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ପବନର ପ୍ରକୋପ ହେତୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳ ସଂଲଗ୍ନ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ।
ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ
ସମୁଦ୍ରର ଅବସ୍ଥା ବିଗିଡ଼ିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ପାର୍ଶ୍ୱବର୍ତ୍ତୀ ବଙ୍ଗୋପସାଗର ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ସତର୍କ କରାଯାଇଛି। ଯେଉଁମାନେ ପୂର୍ବରୁ ସମୁଦ୍ର ମଧ୍ୟକୁ ଯାଇଛନ୍ତି, ସେମାନଙ୍କୁ ତୁରନ୍ତ ଉପକୂଳକୁ ଫେରିଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପଜନିତ ସମ୍ଭାବ୍ୟ ବର୍ଷା ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସ୍ଥିତି ଉପରେ ନଜର ରଖିଛନ୍ତି।