ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ । ଗଣେଶ ପୂଜାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହପରି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ହାଲୁକା ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ସାରା ରାଜ୍ୟରେ ଘଣ୍ଟାପ୍ରତି ପବନର ବେଗ ୩୦-୪୦ କିମି ରହିବ ।
ନୂଆଖାଇରେ ମଧ୍ୟ ପ୍ରବଳ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବା ସମ୍ଭାବନା ଅଛି । ଏନେଇ ୬ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାକୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।