ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ତିନି ଦିନିଆ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି। ୨୩ରୁ ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ, ଭୁବନେଶ୍ୱର, ବାଙ୍ଗିରିପୋଷୀ ଓ ରାଇରଙ୍ଗପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଥିଲା। କିନ୍ତୁ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି।
ସୂଚନା ଅନୁସାରେ, ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ୨୩ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସ୍ଥିରୀକୃତ ହୋଇଥିଲା । ଏଥିପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଶେଷ ହୋଇଥିଲା । ତେବେ ସମ୍ଭାବ୍ୟ ବାତ୍ୟାବେଳେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ପ୍ରଶାସନିକସ୍ତରରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ସୃଷ୍ଟି ହେବ ଦର୍ଶାଇ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଓ ରାଷ୍ଟ୍ରପତି ଭବନକୁ ଲିଖିତ ଭାବେ ଅବଗତ କରାଯାଇଥିବା ସୂଚନା ମିଳିଛି । ଏହା ପରେ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ୨୩ରେ ସାମୁଦ୍ରିକ ଘୂର୍ଣ୍ଣିଝଡ ଦାନା ବାତ୍ୟାର ରୂପ ନେବ। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖରୁ ୨୫ ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ। ପୁରୀରୁ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ବାତ୍ୟା ସ୍ଥଳଭାଗରେ ପ୍ରବେଶ କରିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ।