ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କର ହେବ ବନକଲାଗି ନୀତି । କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀଜୀଉଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ତେବେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇସାରିଛି । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ସୂଚନା ଅନୁସାରେ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେବ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ, ଏହାକୁ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।