ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢୁଛି ବର୍ଷାର ପରିମାଣ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଦକ୍ଷିଣପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ତଥା ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ଆଜି କିଛି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା ରହିଛି।
ତେବେ ଆସନ୍ତା ୧୭ ତାରିଖରେ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଓ ହାଲୁକା ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ସତର୍କ କରାଯାଇଛି। ଏପରିକି ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ମଧ୍ୟ ରହିଛି। ତେବେ ବର୍ଷାର ପରିମାଣ ବଢିବା ହେତୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।