ଭୁବନେଶ୍ୱର : ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଏବଂ ଅଶାନ୍ତ ସମୁଦ୍ରକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଧୀରେ ଧୀରେ ଶକ୍ତିଶାଳୀ ହେବାରେ ଲାଗିଛି ଲଘୁଚାପ।ଆସନ୍ତା ନଭେମ୍ବର ୧୬ ତାରିଖରେ ଏହା ବାତ୍ୟାର ରୂପ ନେବା ସହ ୧୮ ତାରିଖ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି।
ନଭେମ୍ବର ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଉପକୂଳ ଓ ଗଭୀର ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ କଡ଼ା ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ନଭେମ୍ବର ୧୫ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ନଭେମ୍ବର ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସହ ଝଟ୍କା ପବନର ବେଗ ୬୫ କିଲୋମିଟର ପର୍ଯ୍ୟନ୍ତ ରହିପାରେ। ଏହି ସମୟରେ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ।
ପାଣିପାଗ ବିଭାଗ ଆକଳନ ଅନୁଯାୟୀ, ନଭେମ୍ବର ୧୮ରୁ ୨୦ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାପାଳମାନଙ୍କୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା, ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବା ଏବଂ ଜରୁରୀକାଳୀନ ଟିମ୍କୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।