ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ରାଜ୍ୟର କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ସ୍ପେସିଆଲ ରିଲିଫ କମିଶନର (SRC ) ସତର୍କ କରାଇଛନ୍ତି । ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରୁ ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିବା ସହ କିଛି ସ୍ଥାନରେ ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ନେଇ ଆଶଙ୍କା ପ୍ରକାଶ କରିଛନ୍ତି ଏସଆରସି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ବାଂଲାଦେଶ ଓ ତତ୍ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗଭୀର ଅବପାତ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଝାଡଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ଅଗ୍ରସର ହେବ ।ଏହାର ପ୍ରଭାବରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୋଳ, କେନ୍ଦୁଝର ଓ ଦେବଗଡ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲାଗୁଡ଼ିକୁ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଟ୍ୱିନସିଟିରେ ମଧ୍ୟ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।