ସମ୍ବଲପୁର : ଆଜିଥିଲା ମୁଖ୍ଯମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଦଶମ ପାଳି। ଏହା ଥିଲା ଅନ୍ୟ ନଅ'ଟି ପାଳି ଠାରୁ ଭିନ୍ନ, କାରଣ ଏଥର ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି ବରଂ ସରକାର ଆସିଛନ୍ତି ଲୋକଙ୍କ ଅଭିଯୋଗ ଶୁଣିବାକୁ। ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର । ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ସହଯୋଗୀ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀଗଣ । ସମ୍ପୂର୍ଣ୍ଣ ରାଜ୍ୟ ପ୍ରଶାସନ ସ୍ଥାନାନ୍ତରିତ ହୋଇଥିଲା ସମ୍ବଲପୁରକୁ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ସମ୍ବଲପୁରରେ ଏ ଜନ ଶୁଣାଣି କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ଶୁଭଙ୍କର । ସରକାରଙ୍କ ପାଇଁ, ଲୋକଙ୍କ ପାଇଁ, ଓଡ଼ିଶା ରାଜ୍ୟ ପାଇଁ ଓ ସର୍ବୋପରି ଗଣତନ୍ତ୍ର ପାଇଁ ଏକ ସକରାତ୍ମକ ବାର୍ତ୍ତା ଦେଉଛି ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଆମର ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନ ଆମକୁ ଲୋକଙ୍କ ଆହୁରି ନିକଟତର ହେବାକୁ ପ୍ରେରଣା ଦେଇଛି। ଆଜି ସମ୍ବଲପୁରରେ ହେଲା, ଆଗାମୀ ଦିନରେ ରାଜ୍ୟର ଅନ୍ୟ ସ୍ଥାନରେ ହେବ ବୋଲି ମୁଖ୍ଯ ମନ୍ଦିର କହିଛନ୍ତି।
ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ୧୮ ଜଣଙ୍କୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଆଜି ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।
ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ ।