ପୁରୀ: ଆଜି ବୈଶାଖ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗମଣ୍ଡପ ନୀତି ଶେଷ ହେବା ପରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଏହି ନୀତି କରିଥାନ୍ତି। ଏହି ନୀତି ଗୁପ୍ତନୀତି ହୋଇଥିବାରୁ ଶ୍ରୀଜୀଉଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହି ନୀତି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ କରିପାରିବେ ।
ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ ।