ପୁରୀ: ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସଂଧ୍ୟା ୬ଟାରୁ ରାତି ୧୦ ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଏହି ନୀତି ଅନୁଷ୍ଠିତ ହେବ । ଫଳରେ ଚାରିଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । କିନ୍ତୁ ଶ୍ରଦ୍ଧାଳୁମାନେ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ କରିପାରିବେ ।
ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମୟରେ ଜୟ-ବିଜୟ ଦ୍ଵାର ବନ୍ଦ କରାଯାଇ ଦତ୍ତମହାପାତ୍ର ସେବକମାନେ ୩ ଖଣ୍ଡ ଶ୍ରୀକପଡ଼ା ଏବଂ କର୍ପୁର, ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି । ଏହା ନୀତି ପରେ ଭକ୍ତଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଥାନ୍ତି ।