ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବା ସହିତ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିଥିବେ। ସେହିପରି ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ ଧରି ବିରାଜମାନ କରିଥାନ୍ତି। ତେବେ ମଧ୍ୟାହ୍ନ ଧୂପ ବଢ଼ିବା ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟାଧୂପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ।
ପୌରାଣିକ କଥାବସ୍ତୁ ଅନୁଯାୟୀ, ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା।ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। ଭକ୍ତର ଡାକ ଶୁଣି କୁମ୍ଭୀର କବଳରୁ ଗଜରାଜକୁ ଠାକୁର ଉଦ୍ଧାର କରିଥିଲେ। ସେହିଦିନ ଠାରୁ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ। ସିଂହାସନ ତଳକୁ ହାତୀ ଓ କୁମ୍ଭୀର ସଜ୍ଜା ହୋଇଥିବେ। କୁମ୍ଭୀର ହାତୀକୁ ଆକ୍ରମଣ କରିବା ସମୟରେ ଗଜରାଜ ଉଦ୍ଧାର ପାଇଁ ଭଗବାନଙ୍କ ଶରଣ ପଶିବା ଭଙ୍ଗୀରେ ରହିଥିବେ। ତେବେ ମହାପ୍ରଭୁଙ୍କର ଏହି ବେଶ ଦେଖିବା ପାଇଁ ଭକ୍ତଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି।
ଅଧିକ ପଢନ୍ତୁ: ରାଜ୍ୟରେ ସକାଳୁ ସକାଳୁ କୋହଲା ପାଗ ଅନୁଭୂତ