ଭୁବନେଶ୍ୱର: ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ହେବ । ରଥଯାତ୍ରାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତାକାଲି ବର୍ଷା ପାଇଁ ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝର ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୬ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କ ସୂଚନା ଜାରି କରାଯାଇଛି ।