ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ଫଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିବା ସହ ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ଯଜିବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।ଅଶାନ୍ତ ସମୁଦ୍ର ପରିସ୍ଥିତିକୁ ଦୃଷ୍ଟିରେ ରଖି ମତ୍ସ୍ୟ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।
ଆସନ୍ତା ୧୪ ଅଗଷ୍ଟ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ରରେ ୩୫ରୁ ୪୫ କିମି ବେଗରେ ପବନ ବହିବା ସହ ଝଟକା ପବନର ବେଗ ୫୫ କିମି ପର୍ଯ୍ୟନ୍ତ ଯାଇପାରେ । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆଜିଠାରୁ ବର୍ଷା ପରିମାଣ ବଢ଼ିବାର ସଙ୍କେତ ଥିବାବେଳେ ୧୨ରୁ ୧୫ ଅଗଷ୍ଟ ଅଧିକ ସତର୍କତାର ସମୟ ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏହି ଚାରି ଦିନ ପାଇଁ ଅତି ପ୍ରବଳ ବର୍ଷା ହେବା ନେଇ ସଙ୍କେତ ରହିଛି ।