ଭୁବନେଶ୍ୱର: ପୁଣି ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ୪ ଜିଲ୍ଲା କଳାହାଣ୍ଡି,ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।