ଭୁବନେଶ୍ୱର: ରାଜ୍ୟରେ ଆସନ୍ତାକାଲିଠାରୁ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉକ୍ତ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।
ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ିଘଡ଼ି ଓ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଆଜି ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୧ ଓ ୧୨ ତାରିଖରେ ମାଲକାନଗିରି, କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।