ଭୁବନେଶ୍ବର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗର କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆଜି ଅର୍ଥାତ୍ ମେ’ ୩୧ରେ ଚାକିରିରୁ ଅବସର ନେଇଥାଆନ୍ତେ। ହେଲେ ତା’ ପୂର୍ବରୁ ମାଡ଼ିବସିଥିଲା ଭିଜିଲାନ୍ସ। ଶ୍ରୀ ଷଡ଼ଙ୍ଗୀଙ୍କ କଳା ସାମ୍ରାଜ୍ୟର ଆକାର ଦେଖି ଖୋଦ ଭିଜିଲାନ୍ସର ଆଖି ମଧ୍ଯ ଟେରା ହୋଇଯାଇଛି। କାରଣ ବାବୁଙ୍କ ଘରୁ ମିଳିଛି ନଗଦ ୨.୫୬ କୋଟି ଟଙ୍କା। ରାଜଧାନୀଠାରୁ ଆରମ୍ଭ କରି ଅନୁଗୁଳ ପର୍ଯ୍ୟନ୍ତ ସବୁଠି କଳା ସମ୍ପତ୍ତିର ପାହାଡ଼।
ସୂଚନା ଅନୁଯାୟୀ ଶୁକ୍ରବାର ଭୋରରୁ ଭିଜିଲାନ୍ସ ଟିମ୍ ଭୁବନେଶ୍ବର, ପୁରୀ ଓ ଅନୁଗୁଳର ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ କରିଥିଲା। ଯାଞ୍ଚ ସମୟରେ ଶ୍ରୀ ଷଡ଼ଙ୍ଗୀଙ୍କ ଭୁବନେଶ୍ବରରେ ଏକ ବିଳାସପୂର୍ଣ୍ଣ ଫ୍ଲାଟ୍, ଅନୁଗୁଳରେ ୨ଟି ଦୁଇ ମହଲା କୋଠା, ପୁରୀ ପିପିଲି ଅଞ୍ଚଳରେ ଗୋଟିଏ ଫ୍ଲାଟ୍ ଠାବ ହୋଇଥିଲା। ସବୁଠୁ ରୋଚକ କଥା ହେଉଛି ଭିଜିଲାନ୍ସ ଟିମ୍ ଭୋର ସମୟରେ ଶ୍ରୀ ଷଡ଼ଙ୍ଗୀଙ୍କ ଭୁବନେଶ୍ବର ଘର ଯାଞ୍ଚ ପାଇଁ କଲିଂବେଲ୍ ବଜାଇବାବେଳେ ଘର ଲୋକ କବାଟ ନ ଖୋଲି ଝରକା ବାଟେ ୫ ଶହ ଟଙ୍କିଆ ନୋଟ୍ ବଣ୍ଡଲ୍ ଫିଙ୍ଗି ଚାଲିଥିଲେ। ପଡ଼ୋଶୀଙ୍କ ଛାତ ଉପରେ ଗଦା ହୋଇଥିବା ବିପୁଳ ଟଙ୍କା ସବୁକୁ ଭିଜିଲାନ୍ସ ଜବତ କରି ଗଣିବା ଆରମ୍ଭ କରିଥିଲା। ନାକେଦମ୍ ହୋଇଥିଲେ ୧୦ରୁ ଅଧିକ କର୍ମଚାରୀ। ଶେଷରେ ମେସିନରେ ଟଙ୍କା ଗଣତି କରିଥିଲେ । ଭିଜିଲାନ୍ସର ୭ଟି ଟିମ୍ ଗତକାଲି ଶ୍ରୀ ଷଡ଼ଙ୍ଗୀଙ୍କ ଭୁବନେଶ୍ବରସ୍ଥିତ ଗ୍ରାମ୍ୟ ଉନ୍ନୟନ ସରକାରୀ କାର୍ଯ୍ୟାଳୟ, ଅନୁଗୁଳ କରଡ଼ଗାଡ଼ିଆସ୍ଥିତ ବାସଭବନ ଓ ଲୋକେଇପଶିସ୍ଥିତ ପୈତୃକ ଘର, ଅନୁଗୁଳ ସହର ମାଟିଆସାହି ଓ ଶିକ୍ଷକପଡ଼ାରେ ସଂପର୍କୀୟଙ୍କ ଘର ଆଦି ୭ଟି ଠିକଣାରେ ଚଢ଼ଉ କରି ୧୫ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଥିଲା ।
ଚଢାଉ ସମୟରେ ଭୁବନେଶ୍ବର ଡୁମଡୁମା ଘରୁ ନଗଦ ୧.୩୪ କୋଟି ଓ ଅନୁଗୁଳ ଘରୁ ୧.୨୨ କୋଟି ଟଙ୍କା ସହିତ ମୋଟ ୨,୫୬,୦୦୦,୦୦ ଟଙ୍କା ଜବତ କରାଯାଇଛି। ୧୧୪୧ ଗ୍ରାମ୍ ସୁନାଗହଣା, ୫୦୦ ଗ୍ରାମର ରୁପା, ବିଦେଶରୁ ଆମଦାନି କରାଯାଇଥିବା ୧୫ଟି ଦାମୀ ହାତଘଣ୍ଟା, ୧୫ ଲକ୍ଷ ଟଙ୍କାର ଆସବାବପତ୍ର ସହିତ ଗୋଟିଏ କାର ଠାବ କରାଯାଇଛି।
ଏହି ଚଢ଼ାଉରେ ୮ ଜଣ ଡିଏସ୍ପି, ୧୨ ଜଣ ଇନ୍ସପେକ୍ଟର, ୬ ଜଣ ଏସ୍ଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଥିଲେ।