ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ସାରା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳି ଯାଇଛି । ପ୍ରଣବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଲେଖିଛନ୍ତି , “ନିଜର କାଳଜୟୀ କଣ୍ଠସ୍ୱରରେ ସମଗ୍ର ଓଡ଼ିଶାକୁ ବିମୋହିତ କରିଥିବା ମହାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ଜୟଦେବ ପୁରସ୍କାର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ଏବଂ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଭଳି ଅନେକ ସମ୍ମାନରେ ଭୂଷିତ ଏହି ଅତୁଳନୀୟ ସଙ୍ଗୀତ ସାଧକଙ୍କ ଦେହାନ୍ତ ଓଡ଼ିଆ କଳା ଓ ସଂସ୍କୃତି ଜଗତରେ ଏକ ଅପୂରଣୀୟ ଶୂନ୍ୟତା ସୃଷ୍ଟି କରିଛି। ତାଙ୍କର ସୁମଧୁର ସ୍ୱରର ମୂର୍ଚ୍ଛନା ଓ କାଳଜୟୀ ସଙ୍ଗୀତ ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟରେ ଚିରକାଳ ଅମର ହୋଇ ରହିବ। ଏହି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗ ଓ ଅସଂଖ୍ୟ ପ୍ରଶଂସକଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦଗତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି”।
ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଲେଖିଛନ୍ତି, “ଓଡ଼ିଆ ସଙ୍ଗୀତ ଜଗତର ଅଭୁଲା ସ୍ୱର, ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ସୁମଧୁର ଗାୟନ ଶୈଳୀ ଅନେକ ଓଡ଼ିଆ ସଙ୍ଗୀତକୁ ଲୋକଙ୍କ ହୃଦୟରେ କାଳଜୟୀ କରିଛି। ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଅମର ଆତ୍ମାର ସଦଗତି କାମନା କରୁଛି।”
ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯ ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ଦଶନ୍ଧି ଧରି ନିଜର ସୁମଧୁର କଣ୍ଠ ଓ ଗାୟନ ଶୈଳୀରେ ସେ ଶ୍ରୋତାଙ୍କ ମନରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶାର ସଙ୍ଗୀତ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହେଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।
ସାସଂଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ ପ୍ରଣବ ପଟ୍ଟନାୟକଙ୍କର ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ଅତୁଳନୀୟ ଅବଦାନ ଏବଂ ସୁମଧୁର କଣ୍ଠସ୍ୱର ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।