ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସମୀର ଦେ ପ୍ରାଣ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଏବଂ ରାଜ୍ୟର ବହୁ ମାନଗଣ୍ୟ ବ୍ୟକ୍ତି ଓ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କର ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷ କୃତ୍ୟ ହେବ ବୋଲି ଘୋଷଣା କରିଛନ୍ତି ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ସମୀକ ଦେଙ୍କର ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ଵର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ଵପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ବ୍ୟକ୍ତ କରିବା ସହିତ ସମୀରଙ୍କ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।
ସମୀର ଦେ ସୋମବାର କଟକର ଏକ ଘରୋଇ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ୬୭ ବର୍ଷୀୟ ସମୀର ନଭେମ୍ବର ୧ ତାରିଖରେ ସ୍ୱାସ୍ଥ୍ୟ ଗତ ସମସ୍ୟା ଯୋଗୁଁ କଟକର ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଦୀର୍ଘ ଦିନର ଚିକିତ୍ସା ପରେ ଶେଷରେ ସେ ପ୍ରାଣ ତ୍ୟାଗ କରିଛନ୍ତି । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାନସଭାକୁ ଯାଇଥିଲେ । ଏହା ପରେ ସେ ୨ ଥର ମନ୍ତ୍ରୀ ହୋଇଥିଲେ । ୨୦୦୦ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସହର ଉନ୍ନୟନ ମନ୍ତ୍ରୀ ଏବଂ ୨୦୦୪ରୁ ୨୦୦୯ ଯାଏଁ ଉଚ୍ଚ ଶିକ୍ଷା ମନ୍ତ୍ରୀ ଥିଲେ ।