ପୁରୀ: ଆସନ୍ତାକାଲି ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଜୟବିଜୟ ଦ୍ୱାରକୁ ବନ୍ଦ କରାଯିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । କର୍ପୁର, ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।
ସନ୍ଧ୍ୟା ୬ ଟାରୁ ବନକଲାଗି ନୀତି ଆରମ୍ଭ ହେବ । ଏହା ରାତି ୧୦ଟା ଯାଏଁ ଚାଲିବ । ବନକଲାଗି ହେଉଛି ଶ୍ରୀଜିଉଙ୍କର ଏକ ଗୁପ୍ତ ନୀତି । ଏହି ସମୟରେ ସର୍ବସାଧାରଣ ପ୍ରବେଶକୁ ନିଷେଧ କରାଯାଇଥାଏ । ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ ।