ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡ଼କୁ ଗତି କରିବ । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଏବଂ ଅନୁଗୋଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
ଆସନ୍ତା ୨୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହୋଇପାରେ । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।