ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଘନୀଭୂତ ହେବା ସହ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହା ଯୋଗୁଁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ସୂଚନା ମୁତାବକ, ଗୁରୁବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବ ଓଡ଼ିଶା ଉପରେ ରହିବ । ଲଘୁଚାପ ପ୍ରଭାବରେ ଗୁରୁବାରଠାରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ, ଘଡଘଡି, ବିଜୁଳି ସହ ବର୍ଷା ନେଇ ୧୮ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ୯ରୁ ୧୧ତାରିଖ ଯାଏ ପ୍ରବଳ ବର୍ଷା ହେବ । ଆଜିଠାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଆସନ୍ତାକାଲି ଶୁକ୍ରବାର ଦକ୍ଷିଣ ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୨ଟି ଜିଲ୍ଲାକୁ ବଜ୍ରପାତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।
ଲଘୁଚାପ ଉତ୍ତର ଦିଗରେ ଗତି କରି ଓଡ଼ିଶା ଉପରେ ପ୍ରଭାବ ପକାଇବ । ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ପହଞ୍ଚିବ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ମାତ୍ର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ସବୁଠୁ କମ୍ ବର୍ଷା ହେବ ।