ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ପୁରୀ, ଜଗତ୍ସିଂହପୁର, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଇତ୍ୟାଦି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।