ଭୁବନେଶ୍ୱର: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ମିଳିଛି । ଆଜି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟାରେ ପବନ ବହିବା ସହ ବିଜୁଳି, ଘଡଘଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ସମସ୍ତ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।
ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଥିଲା । ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା । ପ୍ରବଳ ବର୍ଷା ପାଇଁ ବିଭିନ୍ନ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି । ବର୍ଷାରେ ବାଲେଶ୍ୱର ବେହାଲ ହୋଇଥିବା ବେଳେ ମାଲକାନଗିରିରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ନଦୀର ଜଳସ୍ତର ବୃଦ୍ଧି ପାଇଲେ ତଳିଆ ଅଞ୍ଚଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।