ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି । ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାସହ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୫ ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ପାଢ଼ୀ ଅନୁରୋଧ କରିଛନ୍ତି।
ଆଜି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ମାଲକାନଗିରି,କୋରାପୁଟ,ରାୟଗଡ଼ା,ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।ଆସନ୍ତାକାଲି ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର । ଏସବୁ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଅଧିକ ପଢନ୍ତୁ: ଘନୀଭୂତ ହେଉଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର, ୧୨ ଘଣ୍ଟାରେ ଅବପାତ ହେବା ସମ୍ଭାବନା