ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଥିପାଇଁ ଆସନ୍ତାକାଲି ଅପରାହ୍ଣରେ କିଛି ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ସମସ୍ତ ନୀତି ପରେ ପୁଣି ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତି ପରେ ମହାପ୍ରଭୁଙ୍କ ସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।