ଭୁବନେଶ୍ୱର: ବର୍ଷାରେ ବେହାଲ ହେବ ସାରା ରାଜ୍ୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି । ଯାହା ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ସର୍ବାଧିକ ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଆସନ୍ତାକାଲି ନୂଆଁଖାଇରେ ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।